Thursday 25th April 2024
ପୁରାଣରେ ଦଶହରାର କଣ ରହିଛି ମହତ୍ୱ !

ପୁରାଣରେ ଦଶହରାର କଣ ରହିଛି ମହତ୍ୱ !

ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ଏହିଦିନ ପାଳିତ ହୋଇଥାଏ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମୁଣ୍ମୟୀ ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ “ନବରାତ୍ରି” ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ,ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ ।

ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାର ବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।

ଦୁର୍ଗା ପୂଜା :

ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେତେବେଳେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନ ହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେ ଠାରୁ ଏହା ଆଶ୍ଵିନ ଶାରଦୀୟ ନବରାତ୍ର ଭାବେ ବିଦିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା’ ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।

କିମ୍ବଦନ୍ତୀ ଅନୁସାରେ ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ । ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦୁର୍ଗାପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି । ଏହି ମହାନ୍ ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା । ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗା ମା’ତା ଙ୍କର ଜନ୍ମଦିବସ । ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ । ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମା’ସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ । ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ ।

‘ଦଶହରା’ କହିଲେ ସମସ୍ତ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ପବିତ୍ର ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି । ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ ।

ବିବିଧ କାରଣରୁ ଦଶହରା ପର୍ବ ପାଳନ କରାଯାଉଥିବାରୁ ଏହା ଏକ ମହାନ ପାର୍ବଣରେ ପରିଣତ ହୋଇଅଛି । ଏହି ପର୍ବର ମହତ୍ତ୍ୱ ବିଷୟରେ ଦେବୀ ପୁରାଣରେ କୁହାଯାଇଛି ଯେ ଏହା ଏକ ମହାନ, ପବିତ୍ର ବ୍ରତ ଏବଂ ଏହି ବ୍ରତ ପାଳନ କଲେ ସିଦ୍ଧି ଲାଭ ହୁଏ ଓ ଶତ୍ରୁମାନେ ପରାଜିତ ହୁଅନ୍ତି । କୁରୁକ୍ଷେତ୍ର ଯୁଦ୍ଧ ଆରମ୍ଭର ପୂର୍ବରୁ ଶ୍ରୀକୃଷ୍ଣ ପାଣ୍ଡବମାନଙ୍କୁ ବନଦୁର୍ଗାଙ୍କର ଆରାଧନା କରିବା ପାଇଁ ଉପଦେଶ ଦେଇଥିଲେ । ଇତିହାସ ପ୍ରସିଦ୍ଧ ଛତ୍ରପତି ଶିବାଜୀ ମଧ୍ୟ ମୋଗଲମାନଙ୍କ ସହ ଯୁଦ୍ଧ କରିବା ସମୟରେ ଦୁର୍ଗାଙ୍କର ଉପାସନା କରିଥିଲେ । ଦଶହରା ପର୍ବରେ ଦେବୀଙ୍କ ଶକ୍ତିର ପ୍ରତିଷ୍ଠା ପାଇଁ ଖଡ୍ ଗ ପୂଜା କରାଯାଏ । ଦଶହରା ଦିନ ଗୁରୁବାର ପଡ଼ିଲେ ଗୃହିଣୀମାନେ ପରିବାରର ମଙ୍ଗଳ ଲାଗି ସୁଦଶାବ୍ରତ ପାଳନ କରି ଗୃହଲକ୍ଷ୍ମୀଙ୍କ ପୂଜା କରନ୍ତି । ଭାଦ୍ରବ ମାସ ଶୁକ୍ଳ ଷଷ୍ଠୀଠାରୁ ଆରମ୍ଭ ହୋଇଥିବା ସୋମନାଥ ବ୍ରତର ଉଦ୍ ଯାପନ ପର୍ବ ମଧ୍ୟ ଦଶହରା ତିଥିରେ ପାଳିତ ହୁଏ । ପରମ- ଈଶ୍ୱରୀ ଦେବୀ ଦୁର୍ଗା ବିଶ୍ୱର ସକଳ ବସ୍ତୁରେ ପରିବ୍ୟାପ୍ତ । ସେ ମହାବିଦ୍ୟା, ମହାମାୟା ମହାଯୋଗେଶ୍ୱରୀ ।

CATEGORIES
TAGS
Share This

COMMENTS

Wordpress (0)
Disqus (0 )